June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ଅକ୍ଷୟ ତୃତୀୟାରୁ ଆରମ୍ଭ ହୁଏ ରଥ କାଠ ଅନୁକୂଳ, ଜାଣନ୍ତୁ କେମିତି ହୁଏ ଅନୁକୂଳ

ବିଜୟ ପଥ: ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହେଉଥିବା ବେଳେ ରଥ ତିଆରି କାମ ମଧ୍ୟ ଆରମ୍ଭ ହୋଇଥାଏ। ଅକ୍ଷୟ ତୃତୀୟା ତିଥିରେ ଅକ୍ଷି ପୂଜା ହେବା ପରେ ବିଶ୍ଵକର୍ମା ଓ ତାଙ୍କର ସହଯୋଗୀଗଣ ରଥ ନିର୍ମାଣରେ ପ୍ରବୃତ୍ତ ହୋଇଥାନ୍ତି। ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ୟ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ। ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି। ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି। ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ। ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ। ଏଥିରେ ୧୧୩୯ ଖଣ୍ଡ କାଠ ଲାଗିଥାଏ। ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହି କାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି। ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.